ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ସୂର୍ଯ୍ୟଙ୍କ ଉତ୍ତାପ ଅସହ୍ୟ ହେବାରେ ଲାଗିଛି । ଧରାପୃଷ୍ଠରେ ଜନଜୀବନ ଅସହ୍ୟ ତାତି ଓ ଗୁଳୁଗୁଳିରେ ହନ୍ତସନ୍ତ ହୋଇପଡିଲେଣି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଆଶଙ୍କା ରହିଛି । କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ନେଇ ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହି ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ପାଇଁ କୋରାପୁଟ୍, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଆସନ୍ତା ୯ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ବର୍ଷା ହେଲେ ତାତିରୁ ଆଶ୍ୱସ୍ତି ମିଳିବ । ଲୋକେ ଏ ତାତି ଭୟରେ ଘରୁ ବାହାରିବା ପାଇଁ ମଧ୍ୟ ଭୟ କରୁଛନ୍ତି ।