ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଜି ଏହା ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆସନ୍ତା ୨୩ ତାରିଖ ପାଇଁ ୨୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପବନର ବେଗ ମଧ୍ୟ ଅଧିକ ରହିବ । ଆସନ୍ତା ୨୪ ତାରିଖ ଯାଏଁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ସେମାନଙ୍କୁ ଫେରି ଆସିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।