ଲକ୍ଷ୍ନୌ: ଉତ୍ତରପ୍ରଦେଶର ଲକ୍ଷ୍ନୌ-ଆଗ୍ରା ଏକ୍ସପ୍ରେସୱେରେ ସୋମବାର ଘଟିଛି ଏକ ଭୟଙ୍କର ସଡ଼କ ଦୁର୍ଘଟଣା। ୫୦ରୁ ୬୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ଏଯାବତ୍ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ବସ୍ଟି ରାଜସ୍ଥାନର ରେୱାଡ଼ିରୁ ବିହାରର ଛପରା ଅଭିମୁଖେ ଯାଉଥିଲା। ଲକ୍ଷ୍ନୌର ପାରା ଥାନା ଅଞ୍ଚଳ ନିକଟରେ ହଠାତ୍ ଚାଳକ ନିୟନ୍ତ୍ରଣ ହରାଇବାରୁ ବସ୍ଟି ଓଲଟି ପଡ଼ିଥିଲା। ଖବର ପାଇ ପୋଲିସ, SDRF ଓ ଅଗ୍ନିଶମ ବିଭାଗର ଟିମ୍ ତୁରନ୍ତ ପହଞ୍ଚି ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।
ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ତୁରନ୍ତ ତ୍ୱରାନ୍ୱିତ କରିବା ସହ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସେପଟେ ଉପମୁଖ୍ୟମନ୍ତ୍ରୀ ତଥା ସ୍ୱାସ୍ଥ୍ୟମନ୍ତ୍ରୀ ବ୍ରଜେଶ ପାଠକ ହସ୍ପିଟାଲରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି। ୩୧ ଜଣ ଆହତ ଲୋକବନ୍ଧୁ ହସ୍ପିଟାଲରେ ଏବଂ ୧୩ ଜଣ KGMU ଟ୍ରମା ସେଣ୍ଟରରେ ଚିକିତ୍ସାଧୀନ ଅଛନ୍ତି। ଦୁର୍ଘଟଣାର ପ୍ରକୃତ କାରଣ ଜାଣିବାକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।