ମୟୂରଭଞ୍ଜ: ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କାକୁ ନେଇ ମୟୂରଭଞ୍ଜ ଜିଲ୍ଲାରେ ଆଜି ସମସ୍ତ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯିବା ପରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।
ପ୍ରଶାସନିକ ନିର୍ଦ୍ଦେଶ ଅନୁସାରେ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲରେ ଆଜି ସମ୍ପୂର୍ଣ୍ଣ ଛୁଟି ଘୋଷଣା କରାଯାଇଛି। ସେହିପରି ବେସରକାରୀ ସ୍କୁଲଗୁଡ଼ିକରେ ସକାଳ ୧୦ଟା ପରେ ସମସ୍ତ ଶ୍ରେଣୀ ବାତିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏପଟେ ରାଜ୍ୟର ପାଣିପାଗ ପରିସ୍ଥିତି ମଧ୍ୟ ଚିନ୍ତା ବଢ଼ାଇଛି। ମୟୂରଭଞ୍ଜ ବ୍ୟତୀତ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ଅବଶିଷ୍ଟ ୨୬ଟି ଜିଲ୍ଲା ୟେଲୋ ଆଲର୍ଟ ଅଧୀନରେ ରହିଛି। କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ଚାରି ଦିନ ଯାଏଁ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବ। ଶୁକ୍ରବାର ମଧ୍ୟ ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲାକୁ ଛାଡ଼ି ଅନ୍ୟାନ୍ୟ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଏଭଳି ସ୍ଥିତିରେ ଅଭିଭାବକମାନଙ୍କୁ ଅନାବଶ୍ୟକ ବାହାରକୁ ପିଲାମାନଙ୍କୁ ନ ପଠାଇବା ସହ ସତର୍କ ରହିବାକୁ ପ୍ରଶାସନ ପରାମର୍ଶ ଦେଇଛି।