ଭୁବନେଶ୍ୱର: ଚଳିତ ବର୍ଷ ମହାପ୍ରଭୁଙ୍କ ଘୋଷ ଯାତ୍ରାରେ ବର୍ଷାରେ ଭିଜିବେ ଭକ୍ତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଉପକୂଳ, ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ । ଆଜିଠାରୁ ଆଗାମୀ ପାଞ୍ଚ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ଆକଳନ କରାଯାଇଛି ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପାଇଁ ଖୋର୍ଦ୍ଧା, ଭୁବନେଶ୍ୱର, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ୧୫ ତାରିଖ, ଆସନ୍ତାକାଲି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା ଓ ନୟାଗଡ଼ରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୬ ତାରିଖ ରଥଯାତ୍ରା ଓ ୧୭ ତାରିଖରେ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।