ଭୁବନେଶ୍ୱର: ରାଜ୍ୟ ସରକାର ବନ୍ଦ ହୋଇପଡ଼ିଥିବା ଚିନି କଳକୁ ପୁନର୍ବାର ଚାଲୁ କରିବା ଏବଂ ଆଖୁ ଚାଷକୁ ପ୍ରୋତ୍ସାହିତ କରିବାକୁ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଖୁ ଚାଷୀଙ୍କ ଆୟ ବୃଦ୍ଧି ଓ ସମବାୟ ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ “ସମବାୟ ଚିନି ଶିଳ୍ପ ଅଞ୍ଚଳରେ ଆଖୁ ଉତ୍ପାଦନ ପ୍ରୋତ୍ସାହନ” ଯୋଜନାର ଶୁଭାରମ୍ଭ କରିଛନ୍ତି ।
ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ସମବାୟ ସମିତିର ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଅଧୀନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବଡ଼ମ୍ବା ଓ ଆସିକା ସମବାୟ ଚିନି କଳ ଅଞ୍ଚଳର ଚାଷୀମାନଙ୍କୁ ଏକର ପ୍ରତି ୧୫,୦୦୦ ଟଙ୍କାର ଇନ୍ପୁଟ୍ ସବ୍ସିଡି ପ୍ରଦାନ କରାଯିବ। ଆଖୁ ଚାଷୀମାନଙ୍କୁ ଉଚ୍ଚ ସୁଗାର କଣ୍ଟେଣ୍ଟ ଥିବା ଉନ୍ନତମାନର ଆଖୁ ବିହନ ଯୋଗାଇବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ସମାରୋହରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ସଚିବ ସଚିନ ରାମଚନ୍ଦ୍ର ଯାଦବ, ହସ୍ତତନ୍ତ ସଚିବ ଗୁହା ପୁନମ୍ ତାପସ କୁମାର ପ୍ରମୁଖ ଉପସ୍ଥିତ ଥିଲେ । ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିବା ବେଳେ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ମନିଷ ଅଗ୍ରୱାଲ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ପ୍ୟାକ୍ସର ଓ ଲ୍ୟାମ୍ପସ୍ର ସଦସ୍ୟ, ସମବାୟବିତ, ବିଭାଗୀୟ ଅଧିକାରୀ ଓ ଚାଷୀ ଭାଇଭଉଣୀ ଉପସ୍ଥିତ ଥିଲେ।