ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି (ବୁଧବାର) ମହାପ୍ରଭୁଙ୍କ ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ।
ଦର୍ଶନ ଉପରେ କଟକଣା
ସୂଚନା ଅନୁଯାୟୀ, ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହି ସମୟରେ ପ୍ରାୟ ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ। ବନକଲାଗି ନୀତି ସମ୍ପୂର୍ଣ୍ଣ ହେବା ପରେ ଏବଂ ଶ୍ରୀଜୀଉଙ୍କ ମହାସ୍ନାନ ପରେ ପୁଣି ଥରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇପାରିବେ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।
ଅଧିକ ପଢନ୍ତୁ: ଶ୍ରୀମନ୍ଦିର ଭିତରେ ମାରପିଟ୍; ଭାଙ୍ଗିଲା ମହିଳା ଭକ୍ତଙ୍କ ହାତ