ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ହେବା ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉତ୍ତରର ଓଡ଼ିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହୋଇପାରେ । କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ଆଜି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଓ ସୋମବାର ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୯ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟବାସୀଙ୍କୁ ସତର୍କ ସୂଚନା ଦିଆଯାଇଛି । ଉପକୂଳବର୍ତ୍ତୀ ଅଞ୍ଚଳର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ସହ ପବନର ବେଗ ଅଧିକ ରହିବ । ଯାହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।