ଭୁବନେଶ୍ୱର: ଆଜିଠାରୁ ଦୁଇ ଦିନ ଧରି ରାଜ୍ୟରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଦୃଶ୍ୟମାନ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝିପିଝିପି ବର୍ଷା ହେବାର ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ଯାଜପୁର, ଖୋର୍ଦ୍ଧା ଏବଂ ପୁରୀରେ ବର୍ଷା ହେବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ହେବାର ପୂର୍ବାନୁମାନ କରାଯାଇଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ।