ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଯାହାର ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।
ଏହାସହ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗୁରୁବାର ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲାରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉଭୟ ଜିଲାରେ ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ଆଶଙ୍କା ରହିଛି। ସେହିଭଳି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ବାଲେଶ୍ୱର ଆଦି ଜିଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି।
ତେବେ ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତାକାଲି ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଅନୁମାନ କରାଯାଉଛି ।