ପୁରୀ: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଏହି ଶୁଭ ଅବସରରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ।
ଅକ୍ଷୟ ତୃତୀୟା ଅବସରରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଇଥାଏ । ଶ୍ରୀମନ୍ଦିର ରୀତିନୀତି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗ ହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥ ନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ ।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ତିନି ଜଣ ସେବାୟତ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆଣିଥାଆନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନ ସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥ ନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠ ଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ ।