ସୁବର୍ଣ୍ଣପୁର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଥିବା ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ଗଭୀର ଅବପାତରେ ପରିଣତ ହୋଇଛି । ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଭୀଷଣ ବର୍ଷାକୁ ଦୃଷ୍ଟିରେ ରଖି ଚାରୋଟି ଜିଲ୍ଲାରେ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି । ମୟୂରଭଞ୍ଜ, ସୁବର୍ଣ୍ଣପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ସୋମବାର ସମସ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଏ ନେଇ ଜିଲ୍ଲାପାଳ ନିର୍ଦ୍ଦେଶ ଜାରି କରିଛନ୍ତି ।
ସୃଷ୍ଟ ଅବପାତ ଯୋଗୁଁ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଜାରି ରହିବ । ଆଜି ପୂର୍ବାହ୍ନ ଯାଏ ଉପକୂଳବର୍ତ୍ତୀ ଜିଲ୍ଲା କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବାଲଙ୍ଗୀର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୫ରୁ ୬୫ କିମି ଓ ଝଟକା ପବନର ବେଗ ୭୫ କିମି ରହିବ ।