ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସୂଚନା ମିଳିଛି । ପ୍ରବଳ ବର୍ଷା ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨ ତାରିଖରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ଅଞ୍ଚଳକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ଦେଓଗଡ଼, ସମ୍ବଲପୁର ଓ ବରଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖରେ ୩୫-୪୫ କିଲୋମିଟରରୁ ୫୫ କିଲୋମିଟରରେ ପବନ ବହିବା ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖରେ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।
ଲଘୁଚାପ ଜନିତ ବର୍ଷା ପ୍ରଭାବରେ ଉତ୍ତର ଓଡିଶାର ମୟୂରଭଞ୍ଜରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ସମସ୍ତଙ୍କୁ ସତର୍କର ସହିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।