ଭୁବନେଶ୍ୱର : ଭାରତୀୟ ପାଣିପାଗ ବିଭାଗ ର ସଦ୍ୟତମ ସୂଚନା ଅନୁଯାୟୀ, ଭୀଷଣ ବାତ୍ୟା 'ଅକ୍ବାନ୍' ଆସନ୍ତାକାଲି ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର ଗୋପାଳପୁର ନିକଟରେ ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି।
ବାତ୍ୟା 'ଅକ୍ବାନ୍' ବର୍ତ୍ତମାନ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ପ୍ରାୟ ୧୨ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି। ଏହା ଗୋପାଳପୁରଠାରୁ ପ୍ରାୟ ୫୩୦ କିଲୋମିଟର ଦକ୍ଷିଣରେ ଏବଂ ପୁରୀଠାରୁ ୫୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି।
ପୂର୍ବ ସୂଚନା ଅନୁସାରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶର ନରସାପୁର ଏବଂ ଓଡ଼ିଶାର ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବୋଲି ଆକଳନ କରାଯାଇଥିଲା କିନ୍ତୁ ବର୍ତ୍ତମାନ ରିପୋର୍ଟ ଅନୁସାରେ ଗୋପାଳପୁରର ପୂର୍ବ ଦିଗରେ ଅତି ନିକଟରେ ନଭେମ୍ବର ୨୦ ମଧ୍ୟାହ୍ନ ସୁଦ୍ଧା ସ୍ଥଳଭାଗ ଅତିକ୍ରମ କରିବ। ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କିଲୋମିଟର ରହିବା ସହ ଝଟକା ପବନ ୧୧୦ କିଲୋମିଟର ପର୍ଯ୍ୟନ୍ତ ବହିବାର ଆଶଙ୍କା ରହିଛି।
ବାତ୍ୟା ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଓ ଦକ୍ଷିଣାଞ୍ଚଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି। ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା ଭଳି ଜିଲ୍ଲାଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକୁ ନଭେମ୍ବର ୨୧ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି ଏବଂ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।