ଭୁବନେଶ୍ୱର :ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲାରେ ଆସନ୍ତାକାଲି (ଶୁକ୍ରବାର, ୧୧ ସେପ୍ଟେମ୍ବର ) ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପିଲାମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବର୍ଷା ଜନିତ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ସରକାରୀ ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ବର୍ଷା ନେଇ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ଶନିବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।